ବାସ୍ତବ ବ୍ୟୁରୋ: ଆସନ୍ତା ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍ରେ ଉଲ୍ଲେଖ କରାଯାଇଛି।
ସୂଚନାନୁଯାୟୀ, ରାଜ୍ୟରେ ସପ୍ତାହେ ହେଲାଣି ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗତ ୧୮ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ୩ ଦିନ ପାଇଁ ସମସ୍ତ ସ୍କୁଲ୍ଗୁଡ଼ିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଥିଲେ।



