
ବାସ୍ତବ ବ୍ୟୁରୋ-ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି କି, କୋଭିଡ୍ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ରୋଗୀ ମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦିଆଯାଉଛି । ଏ କ୍ଷେତ୍ରରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି । ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ।


ଅର୍ଥାଭାବରୁ ଯେମିତି କେହି ଜଣେ ବି କୋଭିଡ୍ ଆକ୍ରାନ୍ତ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ, ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି । ଏଥିସହିତ ରୋଗୀମାନଙ୍କୁ ମେଡିସିନ୍ କିଟ୍ ଓ ଟେଲି ମେଡିସିନ ଯୋଗେ ଡାକ୍ତରୀ ସୁବିଧା ଯୋଗାଇ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି କି, “ଖୋର୍ଦ୍ଧା, ସୁନ୍ଦରଗଡ, କଟକ ଓ ଯାଜପୁର ଜିଲ୍ଲାଗୁଡିକ ଉପରେ ଅଧିକ ଧ୍ୟାନ ଦେବାକୁ ।” ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା, ଯାଜପୁର, ଜଗତସିଂପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାର କୋଭିଡ୍ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲ୍ଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ ଜିଲ୍ଲା ସ୍ତରରେ ପ୍ଲାଜମା ଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି ।
