
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୩ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୫ଟି ଜିଲ୍ଲାରେ ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପରିକି ସ୍ଥଳ ବିଶେଷରେ ବର୍ଷାର ପରିମାଣ ୭ରୁ ୧୧ ମିମି ପର୍ଯ୍ୟନ୍ତ ମଧ୍ୟ ହୋଇପାରେ।
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ବୁଧବାର) ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬.୧ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୬ ମିମି ତୁଳନାରେ ୩୭ ପ୍ରତିଶତ କମ ରହିଛି।



