
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଖେପୁପଡ଼ାରୁ ୧୬୦, ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ । ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା।
ଅନ୍ୟପକ୍ଷରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱର। ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।