ବାସ୍ତବ ବ୍ୟୁରୋ: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ରଥାରୁଢ଼ ଚତୁର୍ଦ୍ଧାମୂରତି । ମହଣ ମହଣ ସୁନାରେ ସୁଶୋଭିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର ବେଶ ବୋଲି ମଧ୍ୟ କୁହାଯାଏ । ମହାପ୍ରଭୁଙ୍କ ସୁନା ବେଶ ଦେଖିବା ପାଇଁ ରବିବାର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଲାଗି ରହିଛି। ରାତ୍ର ୧୧ଟା ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଛନ୍ତି। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ଯ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେଉଛନ୍ତି।
୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସୁଛନ୍ତି ଶ୍ରୀଜିଉ। ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବାରୁ ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି।