
ବାସ୍ତବ ବ୍ୟୁରୋ-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ରହିବ । କରୋନାରେ ସବୁଠାରୁ ଛାତ୍ରଛାତ୍ରୀଙ୍କ ପଠପଢ଼ା ଉପରେ ପ୍ରଭାବ ପଡ଼ିଛି । କିନ୍ତୁ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି ।

ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଉପରେ ଅଧିକ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।
ମାସ୍କ ତିଆରିରେ ନିୟୋଜିତ ଥିବା ସ୍ବୟଂ ସହାୟକ ଗୋଷ୍ଠୀର ମା ମନେ ଯେଭଳି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେବା ସହ ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟ ବିଶେଷ କରି ଗୃହ ନିର୍ମାଣ କାମ ଉପରେ ଅଧିକ ଗୁରୁତ୍ବ ଦେବା ପାଇଁ କହିଛନ୍ତି ।
କୋଭିଡ ପରିଚାଳନା ସଂପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ହଟସ୍ପଟ୍ ଜିଲ୍ଲା ଯେମିତିକି କଟକ, ଖୋର୍ଦ୍ଧା, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାର କୋଭିଡ ପରିସ୍ଥିତି ଓ ମୁକାବିଲା ସଂପର୍କରେ ଜିଲ୍ଲା ପର୍ଯ୍ୟବେକ୍ଷକ ଓ ମ୍ୟୁନିସପାଲ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । କଟକରେ କୋଭିଡ ମୁକାବିଲା ପାଇଁ ଯେକୌଣସି ଅତିରିକ୍ତ ସହାୟତା ଆବଶ୍ୟକ ହେଲେ ତୁରନ୍ତ ରାଜ୍ୟ ସରକାରଙ୍କୁ ଜଣାଇ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି ରାଉରକେଲାରେ କୋଭିଡ ମୁକାବିଲାରେ ନିୟୋଜିତ ବିଭିନ୍ନ ସଂସ୍ଥା ମାନଙ୍କ ମଧ୍ୟରେ ଅଧିକ ସମନ୍ବୟ ରଖି କୋଭିଡ ପରିଚାଳନା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
